83
ଇସ୍ରାଏଲର ଶତ୍ରୁମାନଙ୍କର ପରାଜୟ ପାଇଁ ପ୍ରାର୍ଥନା
ଗୀତ, ଆସଫର ଗୀତ।
1 ହେ ପରମେଶ୍ୱର, ତୁମ୍ଭେ ମୌନୀ ହୋଇ ରୁହ ନାହିଁ;
ହେ ପରମେଶ୍ୱର, ନୀରବ ଓ ନିରସ୍ତ ହୁଅ ନାହିଁ।
2 କାରଣ ଦେଖ, ତୁମ୍ଭ ଶତ୍ରୁଗଣ ଗଣ୍ଡଗୋଳ କରନ୍ତି
ଓ ତୁମ୍ଭଙ୍କୁ ଘୃଣା କରିବା ଲୋକମାନେ ମସ୍ତକ ଉଠାଇଅଛନ୍ତି।
3 ସେମାନେ ତୁମ୍ଭ ଲୋକମାନଙ୍କ ବିରୁଦ୍ଧରେ କୁଟିଳ ମନ୍ତ୍ରଣା କରନ୍ତି
ଓ ତୁମ୍ଭର ଗୁପ୍ତ ଲୋକମାନଙ୍କ ପ୍ରତିକୂଳରେ ପରସ୍ପର ପରାମର୍ଶ କରନ୍ତି।
4 ସେମାନେ କହିଅଛନ୍ତି, “ଇସ୍ରାଏଲର ନାମ ଯେପରି
ଆଉ ସ୍ମରଣରେ ନ ରହିବ, ଏଥିପାଇଁ ଆସ, ଆମ୍ଭେମାନେ
ସେମାନଙ୍କୁ ଉଚ୍ଛିନ୍ନ କରି ଆଉ ଗୋଷ୍ଠୀ ହୋଇ ଥିବାକୁ ନ ଦେଉ।”
5 କାରଣ ସେମାନେ ଏକଚିତ୍ତ ହୋଇ ପରାମର୍ଶ କରିଅଛନ୍ତି;
6 ଇଦୋମର ତମ୍ବୁ-ନିବାସୀମାନେ, ଇଶ୍ମାୟେଲୀୟମାନେ, ମୋୟାବ, ହାଗରୀୟମାନେ,
7 ଗବାଲ, ଅମ୍ମୋନ, ଅମାଲେକ୍ ଓ ସୋରନି ବାସୀମାନଙ୍କ ସହିତ
ପଲେଷ୍ଟୀୟା, ସମସ୍ତେ ତୁମ୍ଭ ବିରୁଦ୍ଧରେ ନିୟମ ସ୍ଥାପନ କରିଅଛନ୍ତି।
8 ଅଶୂରୀୟ ମଧ୍ୟ ସେମାନଙ୍କ ସଙ୍ଗେ ଯୋଗ ଦେଇଅଛି;
ସେମାନେ ଲୋଟର ବଂଶକୁ ସାହାଯ୍ୟ କରିଅଛନ୍ତି।
[ସେଲା]
9 ମିଦୀୟନ ଦେଶ ପ୍ରତି, କୀଶୋନ୍ ନଦୀ ନିକଟରେ ସୀଷରା
ପ୍ରତି, ଯାବୀନ୍ ପ୍ରତି ଯେରୂପ, ସେରୂପ ସେମାନଙ୍କ ପ୍ରତି କର।
10 ସେମାନେ ଐନ୍-ଦୋର ନିକଟରେ ବିନଷ୍ଟ ହେଲେ;
ସେମାନେ ଭୂମି ପାଇଁ ଖତ ସ୍ୱରୂପ ହେଲେ।
11 ତୁମ୍ଭେ ସେମାନଙ୍କ ପ୍ରଧାନବର୍ଗକୁ ଓରେବ୍ ଓ ସେବ୍ର ସମାନ,
ସେମାନଙ୍କ ଅଧିପତି ସମସ୍ତଙ୍କୁ ହିଁ ସେବହ ଓ ସଲମୁନ୍ନର ସମାନ କର;
12 ସେମାନେ କହିଲେ, “ଆସ, ଆମ୍ଭେମାନେ
ପରମେଶ୍ୱରଙ୍କ ନିବାସ-ସ୍ଥାନସବୁ ଆପଣା ଆପଣା ଅଧିକାରରେ ନେଉ।”
13 ହେ ମୋହର ପରମେଶ୍ୱର, ତୁମ୍ଭେ ସେମାନଙ୍କୁ
ଘୂର୍ଣ୍ଣାୟମାନ ଧୂଳି ପରି, ବାୟୁ ସମ୍ମୁଖରେ କୁଟା ପରି କର।
14 ଯେଉଁ ଅଗ୍ନି ବନକୁ ଦଗ୍ଧ କରେ
ଓ ଯେଉଁ ଅଗ୍ନିଶିଖା ପର୍ବତଗଣକୁ ପ୍ରଜ୍ୱଳିତ କରେ;
15 ତାହା ପରି ତୁମ୍ଭେ ଆପଣା ଝଡ଼ ଦ୍ୱାରା ସେମାନଙ୍କ ପଛେ ପଛେ ଗୋଡ଼ାଅ
ଓ ଆପଣା ପ୍ରଚଣ୍ଡ ବତାସ ଦ୍ୱାରା ସେମାନଙ୍କୁ ଭୟଗ୍ରସ୍ତ କର।
16 ହେ ସଦାପ୍ରଭୋ, ସେମାନେ ଯେପରି ତୁମ୍ଭ ନାମ ଅନ୍ୱେଷଣ କରିବେ,
ଏଥିପାଇଁ ସେମାନଙ୍କ ମୁଖକୁ ଲଜ୍ଜାରେ ପୂର୍ଣ୍ଣ କର;
17 ସେମାନେ ସଦାକାଳ ଲଜ୍ଜିତ ଓ ବିହ୍ୱଳ ହେଉନ୍ତୁ;
ସେମାନେ ହତାଶ ଓ ବିନଷ୍ଟ ହେଉନ୍ତୁ;
18 ତହିଁରେ ସଦାପ୍ରଭୁ ନାମରେ ଖ୍ୟାତ ଯେ ତୁମ୍ଭେ,
କେବଳ ତୁମ୍ଭେ ଯେ ସମୁଦାୟ ଭୂମଣ୍ଡଳରେ ସର୍ବୋପରିସ୍ଥ ଅଟ, ଏହା ସେମାନେ ଜାଣି ପାରିବେ।